ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିଲିନ୍କ୍ରିଷ୍ଣା ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୁଳକ କାର୍ୟ୍ୟର ସମୀକ୍ଷା କରିଛନ୍ତି ।
ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍ଷ୍ଟେସନ, ଭେଡାବାହାଲ କୋଲ୍ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ ।
କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ଆଇସିୟୁ ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ ଏନଟିପିସି କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ । ଏତଦ୍ବ୍ୟତୀତ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।
ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତର କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି । ୫୦ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବସ୍ତରୀୟ ଦଳ କିଞିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ। ସେମାନେ ସ୍ମାର୍ଟ କ୍ଲାସରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରଛାତ୍ରୀଙ୍କ ସହ ଭର୍ଚୁଆଲ ମାଧ୍ୟମରେ କଥାବାର୍ତ୍ତା କରିଥିଲେ । ସ୍କୁଲର ବିଜ୍ଞାନଗାର, ଖେଳପଡିଆ ଓ ଅନ୍ୟାନ୍ୟ ଭିତ୍ତିଭୂମି ବୁଲି ଦେଖିବା ସହ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସେମାନେ ସନ୍ତୋଷ ପ୍ରକାଶ କରିଥିଲେ ।
ସୁନ୍ଦରଗଡ ସଦରର ଭବାନୀପୁରରେ ବାଲା ମଡେଲରେ ନିର୍ମିତ ଆଧୁନିକ ଅଙ୍ଗନବାଡୀ କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ । ଛୋଟ ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ ବାଲା ମଡେଲରେ ସଂପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନବାଡୀ କେନ୍ଦ୍ର ତିଆରି କରାଯାଇଛି । ଏହାର ଆସବାପତ୍ର ଓ କାନ୍ଥବାଡ ଠାରୁ ଆରମ୍ଭ କରି ସଂପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି । ସୁନ୍ଦରଗଡ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡୀ କେନ୍ଦ୍ର ସହିତ ନୂଆ ଅଙ୍ଗନବାଡୀ କେନ୍ଦ୍ର ଗୁଡିକୁ ଏହି ବାଲା ମଡେଲରେ ନିର୍ମାଣ କରାଯାଉଛି ।
ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡର ଜିଲ୍ଲାପାଳ, ଜିଲ୍ଲାର ଏସ୍.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।