fbpx

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ପ୍ରଚଣ୍ଡ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ: ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଅସମ୍ଭାଳ ତାତି ଅନୁଭୂତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏପରିକି ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲା ପାଇଁ ଏହି ଆଲର୍ଟ ଜାରି କରାଯାଇଛି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ବଲାଙ୍ଗୀରରେ ସର୍ବାଧିକ ୪୦.୫ ରେକର୍ଡ କରାଯାଇଛି । ଅନ୍ୟପଟେ ଲଘୁଚାପରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହା ଧୀରେ ଧୀରେ ଉତ୍ତରପୂର୍ବ ଦିଗକୁ ଗତି କରିବା ପରେ ୧୯ ତାରିଖ ବେଳକୁ ୱେଲମାର୍କ ଲୋପ୍ରେସରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ଏହା ଦିଗ ବଦଳାଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ପହଞ୍ଚିବ । ୨୦ ତାରିଖ ସକାଳ ସୁଦ୍ଧା ଏହା ଡ୍ରିପେସନରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.