ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଏବଂ ତତ୍ସହିତ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ସମୁଦ୍ର ପତନର ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ- ପଶ୍ଚିମ ଦିଗକୁ ଅଗ୍ରସର ହେଉଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି । ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଂଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।