fbpx

ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ: ୩ ଦିନ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଗୁରୁବାର ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଶୁକ୍ରବାର ଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଗୁରୁବାର ମଧ୍ୟ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି ଯେ, ଲଘୁଚାପ ପ୍ରଭାବରେ ୩ ଦିନ ଧରି ଅର୍ଥାତ୍ ଗୁରୁବାର ରାତିରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏପରିକି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ । ଏଥିସହ ଏହାର ପାଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିବ ବୋଲି ଶ୍ରୀ ଦାସ ସୂଚନା ଦେଇଛନ୍ତି ।

ସେହିପରି ୯ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଶ୍ରୀ ଦାସ ସତର୍କ କରାଇ ଦେଇଛନ୍ତି । ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର । ସେସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବ ବୋଲି ସେ କହିଛନ୍ତି । ୧୦ ତାରିଖ ରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅନ୍ୟ କେତେକ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ହେବ ରାଜ୍ୟରେ ଲାଗି ରହିଥିବା ଅସମ୍ଭବ ଗ୍ରୀଷ୍ମ ପ୍ରବାହରେ ଏବେ ସାମାନ୍ୟ ରୋକ୍ ଲାଗିଛି । ଗୁଳୁଗୁଳି ଲାଗି ରହିଥିଲେ ବି ପାଗରେ ପରିବର୍ତ୍ତନ ଘଟୁଥିବାରୁ ରାଜ୍ୟବାସୀ ଆଶ୍ୱସ୍ତି ଲାଭ କରୁଛନ୍ତି ।

Get real time updates directly on you device, subscribe now.