fbpx

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା: ୧୨ ଘଣ୍ଟା ପାଇଁ ପାଣିପାଗ ବିଭାଗର ଆଲର୍ଟ

ଭୁବନେଶ୍ୱର: ପାର୍ବଣ ସମୟକୁ ଫିକା ପକାଇ ଦେଇଛି ବର୍ଷା । ଲଗାଣ ବର୍ଷାକୁ ନେଇ ଟ୍ୱିନ୍ ସିଟି ଭୁବନେଶ୍ୱର କଟକ ସହରକୁ ଆଲର୍ଟ କରାଯାଇଛି । ୧୨ ଘଣ୍ଟା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୨/୩ ସେମି ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସହରରେ ପାଣି ଜମିବା ସହ ଟ୍ରାଫିକ୍ ସମସ୍ୟା ଉପୁଜିପାରେ ।

ତେବେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ଏହାର ପ୍ରଭାବରେ ଭୋର ସମୟରୁ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସୃଷ୍ଟ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଥିବା ବେଳେ ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି ।

ଏହା ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ବିଶେଷକରି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଆଦି ଜିଲ୍ଲାରେ ୭୦ରୁ ୨୦୦ ମିମି ଓ ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ଖୋର୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ପାଣିପାଗ କେନ୍ଦ୍ର କହିଛି, ଲଘୁଚାପଟି ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ । ଫଳରେ ରାଜ୍ୟରେ ୫ତାରିଖ ଦିନ ବର୍ଷାର ପ୍ରକୋପ କିଛି ମାତ୍ରାରେ କମିବ । କିନ୍ତୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଜଗପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Get real time updates directly on you device, subscribe now.