fbpx

ଗ୍ରୀଷ୍ମପ୍ରବାହକୁ ନେଇ ସତର୍କ କରାଇଲେ SRC: ଜାଣନ୍ତୁ କ’ଣ କହିଲେ ?

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଗ୍ରୀଷ୍ମପ୍ରବାହ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଅତି ଖରାରେ କାମ ନକରିବାକୁ ଶ୍ରମିକମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଅତି ଆବଶ୍ୟକ ନପଡ଼ିଲେ ଘରୁ ନବାହାରିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି ।

ତେବେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମଲହରୀ ଗତ ୩ ଦିନ ଧରି ଅବ୍ୟାହତ ରହିଛି । ଗତକାଲି ୨୫ଟି ସହରର ତାପମାତ୍ରା ୪୦ଡିଗ୍ରୀ ଟପିଥିବାବେଳେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ପାରଦ ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି। ଗୁରୁବାର ଦିନ ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରିରୁ ଅଧିକ ରେକର୍ଡ ହୋଇଥିବା ବେଳେ ୮ ସହରର ପାରଦ ୪୨ ଡିଗ୍ରି ପାର୍‌ କରିଛି। ୪୩.୫ ଡିଗ୍ରି ତାପମାତ୍ରା ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର ତାଲିକାର ସର୍ବାଗ୍ରେ ରହିଛି। ଆଜି(ଶୁକ୍ରବାର) ବି ରାଜ୍ୟବାସୀଙ୍କୁ ତାତିରୁ ତ୍ରାହି ନାହିଁ। ଫଳରେ ପ୍ରଚଣ୍ଡ ଖରା ଓ ଗର‌ମରେ ଆଉଟୁ ପାଉଟୁ ହେବେ ରାଜ୍ୟବାସୀ। ଏଣୁ ଆସନ୍ତା ୨ ଦିନ ପାଇଁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଆଦି ୮ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରି ଯାଏ ବଢ଼ିବାର ସମ୍ଭାବନା ରହିଛି। ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରିଛି ପାଣିପାଗ କେନ୍ଦ୍ର । ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ୧୬ ତାରିଖରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବା ସମ୍ଭାବନା ରହିଛି ।

Get real time updates directly on you device, subscribe now.