ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା; ପାଣିପାଗ କେନ୍ଦ୍ର ପକ୍ଷରୁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ମୌସୁମୀଜନିତ ନିମ୍ନ ଚାପରେଖା ବାଲେଶ୍ୱର ପୂର୍ବଦିଗରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ପରେ ବର୍ଷାର ପରିମାଣ ପୁଣି ବଢିପାରେ ।

ଚଳିତ ମୌସୁମୀ ଋତୁରେ ୧ ଜୁନ ରୁ ୮ ଜୁଲାଇ ମଧ୍ୟରେ ୨୨୭.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୨୮୬.୮ ମିଲିମିଟର ତୁଳନାରେ ୨୪ ପ୍ରତିଶତ କମ ରହିଛି । ଦେବଗଡ ଜିଲ୍ଲାରେ ସର୍ବାଧିକ ୪୩୧.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୨୭୮.୮ ମିଲିମିଟର ତୁଳନାରେ ୫୫ ପ୍ରତିଶତ ଅଧିକ ରହିଛି । ସେହିପରି କଳାହାଣ୍ଡି ଜିଲ୍ଲାରେ ସର୍ବନିମ୍ନ ୧୨୩.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୩୪୦.୬ ମିଲିମିଟର ତୁଳନାରେ ୬୪ ପ୍ରତିଶତ କମ ରହିଛି ।