ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ : ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଦୁର୍ବଳ ଥିବାଯୋଗୁଁ ବର୍ଷାର ପରିମାଣ ହ୍ରାସ ପାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ବୁଧବାର ଏବଂ ଗୁରୁବାର ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷର ଗତ ଜୁନ୍ ପହିଲାରୁ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୬୫୩ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୬୯୮ ଦଶମିକ ୪ ମିଲିମିଟର ତୁଳନାରେ ୬ ପ୍ରତିଶତ କମ୍ ରହିଛି । ଏହାଫଳରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି ।
ଅନ୍ୟପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ଓ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ,ଅନଗୁଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ବି ରହିଛି। ଏହି କାରଣରୁ ଉକ୍ତ ଅଞ୍ଚଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୪ ତାରିଖରେ କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଦେବଗଡ଼, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ସୋମବାର ଏହି ସବୁ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।