fbpx

ରକ୍ଷା ବନ୍ଧନକୁ ନେଇ କ’ଣ କହୁଛି ପୁରାଣ ଓ ଇତିହାସ ? ଜାଣନ୍ତୁ

ଆସନ୍ତାକାଲି ସାରା ଭାରତରେ ପାଳନ କରାଯିବ ପବିତ୍ର ରକ୍ଷାବନ୍ଧନ । ଭାଇ-ଭଉଣୀଙ୍କ ସ୍ନେହ ଭଲପାଇବା ଏବଂ ଅତୁଟ ବନ୍ଧନର ଉତ୍ସାହ ହେଉଛି ଏହି ପର୍ବ । ଭାଇଙ୍କ ହାତରେ ରାକ୍ଷୀ ବାନ୍ଧି ଭାଇଙ୍କ ମଙ୍ଗଳ କାମନା କରିବା ସହ ସାରା ଜୀବନକୁ ସୁରକ୍ଷାର ପ୍ରତିଶ୍ରୁତି ମାଗିଥାଏ ଗେହ୍ଲା ଭଉଣୀ । ଏହା ସହ ଭାଇମାନେ ନିଜ ଭଉଣୀକୁ ଉପହାର ଦିଅନ୍ତି । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ ।

ପୁରାଣ :-
ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।

ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି। କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଇତିହାସ:-
ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହାପଛରେ ରହିଛି ରାଜନୈତିକ ଅଭିସନ୍ଧି, ତେବେ ବି ରାକ୍ଷୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ । ପ୍ରଥମ ଘଟଣାଟି ହେଲା ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର । ମାସିଡୋନିଆର ସମ୍ରାଟ ଆଲେକଜାଣ୍ଡାର ଭାରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହେଇଥିଲେ । ପ୍ରଥମ ଥର ପୁରୁଙ୍କଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ, ସେତେବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ। ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।

ଅନ୍ୟ ଘଟଣାଟି ହେଲା ରାଣୀ କର୍ଣ୍ଣାବତୀ ଓ ସମ୍ରାଟ ହୁମାୟୁନଙ୍କୁ ନେଇ । ମଧ୍ୟ ଯୁଗର ରାଜପୁତ ଯୋଦ୍ଧମାନେ ପରାକ୍ରମୀ ଥିଲେ । ସେମାନେ କୈଣସି ଆକ୍ରମଣକାରୀ ସତ ପ୍ରାଣ ଦେଇ ଲଢୁଥିଲେ । ଏମିତି ଏକ ଯୁଦ୍ଧରେ ଚିତୋରର ରାଣୀ କର୍ଣ୍ଣାବତୀ ସ୍ୱାମୀଙ୍କୁ ହରାଇବାପରେ ଯେତେବେଳେ ଅନୁଭବ କଲେ ଯେ,ସୁଲତାନ ବାହାଦୁରଶାହାଙ୍କୁ ପ୍ରତିହତ କରାଯାଇପାରିବ ନାହିଁ, ସେତେ ବେଳେ ସେ ଉପାୟଟିଏ ଚିନ୍ତାକଲେ । ମୋଗଲ ସମ୍ରାଟ ହୁମାୟୁନଙ୍କ ନିକଟକୁ ଏକ ରାକ୍ଷୀ ପଠେଇ ଦେଲେ । ହୁମାୟୁନ ମଧ୍ୟ ଏହାକୁ ଭଉଣୀର ସ୍ନେହ ମନେ କରି ଚିତୋରର ସୁରକ୍ଷାପାଇଁ ତୁରନ୍ତ ତାଙ୍କର ସୈନ୍ୟବାହିନୀ ପଠେଇଦେଇଥିଲେ ।

Get real time updates directly on you device, subscribe now.