ଭୁବନେଶ୍ୱର(ଓଡିଶା ଭାସ୍କର): ବାତ୍ୟା ପୁନରୁଦ୍ଧାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶମାର୍ଗରୁ ଏରିଏଲ ସର୍ଭେ କରିବା ପରେ ମୁଖ୍ୟମନ୍ତ୍ରୀ ଆଜି ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ୭ ଦିନ ଭିତରେ ଘରଭଙ୍ଗା କ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ବୈତରଣୀ ନଦୀରେ ବନ୍ୟା ସମ୍ଭାବନା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି ।
ସେ କହିଛନ୍ତି ଯେ, ଜନତାଙ୍କ ସହଯୋଗରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ପ୍ରମାଣିତ ହୋଇଛି । ତୃଟିଶୂନ୍ୟ ପରିଚାଳନା ପାଇଁ ରାଜ୍ୟ ଓ କେନ୍ଦ୍ରୀୟ ସଂସ୍ଥା ସମେତ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା ଜିଲ୍ଲା ପ୍ରାଶସନକୁ ସେ ପ୍ରଂଶସା କରିଛନ୍ତି ।
ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି। ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା ୭୫ ରୁ ୮୦ ପ୍ରତିଶତ ସ୍ବଭାବିକ ହୋଇଛି ବୋଲି ପ୍ରକାଶ କରି ସେ କହିଛନ୍ତି ଯେ ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ ଯୋଗାଯୋଗ ସ୍ବଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍, ଟ୍ୟାଙ୍କର ଜରିଆରେ ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଛନ୍ତି ।