ସରକାରଙ୍କ ବଡ଼ ଘୋଷଣା, ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଏପ୍ରିଲରୁ ଆୟୁଷ୍ମାନ ଭାରତ । ଉପକୃତ ହେବେ 3.52 କୋଟି ।

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବଡ଼ ନିଷ୍ପତ୍ତି । ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏପ୍ରିଲ ମାସ ପହିଲାରୁ ଏହା କାର୍ଯ୍ୟକାରୀ ହେବ । ଏନେଇ ବୈଠକରେ ନିଷ୍ପତ୍ତି ହୋଇଛି ।

ତେବେ ଆୟୁଷ୍ମାନ ସହିତ ବୟୋବନ୍ଦନା ଯୋଜନା ମଧ୍ୟ କାର୍ଯ୍ୟକାରୀ ହେବ । ରାଜ୍ୟରେ ସମୁଦାୟ 3.52 କୋଟି ଲୋକ ଏହା ଦ୍ବାରା ଉପକୃତ ହେବେ । ସୂଚନାଯୋଗ୍ୟ ଯେ, ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।

ଏହି ଯୋଜନାର ଶୁଭାରମ୍ଭ ରାଜ୍ୟର 1438 ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କରାଯିବ । ତେବେ ଏହି ଯୋଜନା ନେଇ ପ୍ରଚାର ପ୍ରସାର ଆରମ୍ଭ ହେବ। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ ।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏହି ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ । ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।

ଏଥିରେ ପୁରୁଷଙ୍କୁ 5 ଲକ୍ଷ ଏବଂ ମହିଳା ହିତାଧିକାରୀଙ୍କୁ 10 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁବିଧା ମିଳିବ । 70 ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କ ପାଇଁ ବୟୋବନ୍ଦନା ଯୋଜନା ଲାଗୁ ହେବ ।

ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩, ୧୨, ୯୭୯। ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ ।

ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ସ୍ୱାସ୍ଥ୍ୟ ବିଭାଗ ଶାସନ ସଚିବ ଅଶ୍ବତୀ ଏସ୍‍ ଏବଂ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।