ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି । ଯାହାକୁ ନେଇ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି। ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବରଗଡ଼, ରାୟଗଡ଼ା, ଢେଙ୍କାନାଳ, ସୋନପୁର, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇଛି।
ତେବେ ରାଜ୍ୟର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ଏହି ସମ୍ଭାବନାକୁ ନେଇ ଉକ୍ତ ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏହି ସମୟ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବ ୭ରୁ ୧୧ସେମି ରହିପାରେ ବୋଲି ଉଲ୍ଲେଖ କରାଯାଇଛି । ଫଳରେ ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି । ତେବେ ବର୍ତ୍ତମାନ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଥିବା ଦେଖିବାକୁ ମଧ୍ୟ ମିଳିଛି।