fbpx

୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା କାଳରେ ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଓ ୭ଟି ପିଏସଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ, କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି।

ରଜ, ସାବିତ୍ରୀରେ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । କରୋନା ସଂକ୍ରମଣର ଅନିଶ୍ଚିତ ଗତି ସମ୍ପର୍କରେ ସେ ସତର୍କ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଭିତ୍ତିଭୂମିକୁ ସୁଦୃଢ କରାଯାଉଛି, କିନ୍ତୁ ଆମକୁ ସତର୍କ ରହିବାକୁ ପଡିବ । ଏଥିପାଇଁ ଏବେଠାରୁ ଆମକୁ ପ୍ରସ୍ତୁତ ରହିବାକୁ ପଡିବ । କୋଭିଡ ନିୟମ ମାନି ପର୍ବପର୍ବାଣୀ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନାର ଦ୍ବିତୀୟ ଲହରୀରେ ମେଡିକାଲ ଅକ୍ସିଜେନର ଆବଶ୍ୟକତା ବହୁତ ବଢିଯାଇଥିଲା। ଏହି ସମୟରେ ଓଡିଶାରେ ଅକ୍‌ସିଜେନ ଯୋଗାଣ ନେଇ କୌଣସି ସମସ୍ୟା ହୋଇନାହିଁ । ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା ୧୭ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିପାରିଛି । ଓଡିଶା ପାଇଁ ଏହା ନିଶ୍ଚିତ ଭାବରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହିତ ପ୍ରତ୍ୟେକ ଓଡିଆଙ୍କ ପାଇଁ ଏହା ଆତ୍ମସନ୍ତୋଷର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Get real time updates directly on you device, subscribe now.