fbpx

ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କର ଆଜି ସକାଳ ୬ଟା ୪୦ ମିନିଟରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଆଜି କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ହାଟବାଣପୁରସ୍ଥିତ ବାସଭବନରେ ତାଙ୍କ ମରଶରୀର ପହଞ୍ଚିବାପରେ ଗାର୍ଡ ଅଫ୍‍ ଅନର ଦିଆଯାଇ ଆଜି ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ ଭାବରେ ମକର ଚରଣ ସାମାଜିକ ବିକାଶରେ ମଧ୍ୟ ମହତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି । ତାଙ୍କର ତ୍ୟାଗପୂତ ସରଳ ଜୀବନ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ହୋଇ ରହିବ । ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି । ସ୍ୱର୍ଗତ ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟମର୍ଯ୍ୟଦା ସହ ସମ୍ପର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.