CHARIDHAM

ଓଡିଶାବାସୀଙ୍କ ନିମନ୍ତେ ୩୪୯ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର; ଆଜି ଓଡିଶାବାସୀଙ୍କ ନିମନ୍ତେ ୩୪୯ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତ୍ଵରିତ ସ୍ୱାସ୍ଥ୍ୟ ସେବା ଦିଗରେ ଏହି ଉଲ୍ଲେଖନୀୟ ପଦକ୍ଷେପକୁ ନେଇ ସବୁଠି ରାଜ୍ୟ ସରକାରଙ୍କୁ ଖୁବ ପ୍ରଶଂସା କରାଯାଇଛି । ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ ଆମ୍ବୁଲାନ୍ସ ରାଜ୍ୟର ମେଡିକାଲ ଆମ୍ବୁଲାନ୍ସ ସେବାରେ ଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଆହୁରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହେବ। ‘ପ୍ରତି ଜୀବନ ମୂଲ୍ୟବାନ’ ନୀତି ଅନୁଯାୟୀ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଆଜି ଲୋକାର୍ପିତ ଆମ୍ବୁଲାନ୍ସ ଗୁଡିକ ମଧ୍ୟରୁ ୨୭୯ଟିକୁ ୧୦୮-ଆମ୍ବୁଲାନ୍ସ ସେବାରେ ସାମିଲ କରାଯାଇଛି। ବାକି ୭୦ଟିକୁ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟମାନଙ୍କୁ ଯୋଗାଇ ଦିଆଯାଇଛି। ଏହି ୭୦ଟି ମଧ୍ୟରୁ ୪୦ଟି ହେଉଛି ଜୀବନ ରକ୍ଷାକାରୀ ମୌଳିକ ଆମ୍ବୁଲାନ୍ସ ଏବଂ ୩୦ଟି ଜୀବନ ରକ୍ଷାକାରୀ ଅତ୍ୟାଧୁନିକ ଆମ୍ବୁଲାନ୍ସ। ସମୁଦାୟ ୩୪୯ଟି ଆମ୍ବୁଲାନ୍ସ ବାବଦରେ ୧୪୮.୪୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ତେବେ ୧୦୮-ଆମ୍ବୁଲାନ୍ସ ସେବାରେ ଏହି ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ମୋଟ ଆମ୍ବୁଲାନ୍ସ ସଂଖ୍ୟା ୧୩୬୬କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପ୍ରତିଦିନ ହାରାହାରି ୪୦୦୦ରୁ ଅଧିକ ସଂଖ୍ୟକ ରୋଗୀ ଏହି ୧୦୮-ଆମ୍ବୁଲାନ୍ସ ସେବା ଦ୍ଵାରା ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେଉଛନ୍ତି। ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ୧୦୮-ଆମ୍ବୁଲାନ୍ସ ସେବା ଆହୁରି ତ୍ଵରିତ ଏବଂ ସୁବିଧାଜନକ ହେବ ବୋଲି ମତ ପ୍ରକାଶ ପାଇଛି ।