fbpx

ସ୍ମାର୍ଟ ସ୍କୁଲ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ସାମିଲ ହେଲେ ୧୦୨୫ ସ୍କୁଲ

ଗୁରୁବାରଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଗୁରୁବାର ସୁନ୍ଦରଗଡ଼, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ୱର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ପୂର୍ବରୁ ଗତ ଅଗଷ୍ଟରେ ହିଞିଳିର ୫୦ଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ୱରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି  ।

ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ଦେଶର ଭବିଷ୍ୟତ ତିଆରି ହୁଏ ଜାତିର ଭବିଷ୍ୟତ ତିଆରି ହୁଏ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ୱ ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ । ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ  । ନୂଆ ନୂଆ ଜ୍ଞାନକୌଶଳ ବିଷୟରେ ଜାଣନ୍ତୁ  । ବଡ଼ ବଡ଼ ସ୍ୱପ୍ନ ଦେଖନ୍ତୁ ଓ ଜୀବନର ସବୁ ଚାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ୱାସର ସହ ଆଗକୁ ବଢନ୍ତୁ  । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ  ।”

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ୱତନ୍ତ୍ର ହୋଇରହିବ । ମୁଁ ବହୁତ ଖୁସି ଯେ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ରୂପାନ୍ତର ହୋଇଥିବା ୧୦୨୫ ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା  । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ । ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍ । ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି  । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି  । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍ ୱାର୍କ  ।

ତୃତୀୟ ନୀତି ହେଉଛି ଟାଇମ୍ ବା ସମୟ  ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି । ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ୱାରା ଏହା ଆଜି ଠିକ୍ ସମୟରେ ଶେଷ ହୋଇପାରିଛି  ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ୱଚ୍ଛତା  । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି  । ସ୍ୱଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି  । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ  ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି  । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି  । ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ୱପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି  ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ  । ମୋର ପୁରା ବିଶ୍ୱାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍ କୌର୍ସ, ନବରଙ୍ଗପୁରର ନାଗେଶ୍ୱରୀ ପାଣିଗ୍ରାହୀ, ବାଲେଶ୍ୱରର ଅଭିଲିପ୍ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି  । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ  । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ  ।

କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ୱରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଜିଲ୍ଲାର ବିଧାୟକ ମାନେ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ । ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ  ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା  । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ  ।

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ  ।ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ୱାଗତ ଭାଷଣ ଦେଇଥିଲେ ।

Get real time updates directly on you device, subscribe now.