ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପଡିଥିବା ୧.୩୧ ଲକ୍ଷ ଶ୍ରମିକଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ୍ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ହିତାଧିକାରୀ ପିଛା ୧୫ କିଲୋ ଲେଖାଏ ତିନିମାସର ଆଗୁଆ ଚାଉଳ ଦେବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ । ସୂଚନା ଯୋଗ୍ୟ ଯେ, ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି । ତେଣୁ ଏହି ପରିବାର ଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକ ମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି । ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡିଆ ମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ ।