ଧୀରେଧୀରେ କାୟା ମେଲାଉଛି କରୋନା: ରାଜ୍ୟରେ କୋଭିଡ୍ ପଜିଟିଭ୍ ସଂଖ୍ୟା ୬ ଶହ ଟପିଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଇଛନ୍ତି ।

ଆଜି ୬୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୮୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୧୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୬ ହଜାର ୬୬୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୫୫ ରହିଥିବା ବେଳେ ୨ ହଜାର ୮୮୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୬୪କୁ ବୃଦ୍ଧି ପାଇଛି । ବାଲେଶ୍ୱର ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।