ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୫ ତାରିଖରେ ଲଘୁଚାପ, ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ସୋମବାର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ। ୧୫ ଜୁଲାଇ ପରେ ଏହା ଲଘୁଚାପର ରୂପ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା କରାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଭୁବନେଶ୍ୱର : ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ସୋମବାର ପୂର୍ବ-କେନ୍ଦ୍ରୀୟ କିମ୍ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ପ୍ରକ୍ରିୟା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ସୋଆ (SOA) ଜଳବାୟୁ ଓ ପରିବେଶ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ସାହୁଙ୍କ ସୂଚନା ମୁତାବକ, ୧୪ କିମ୍ବା ୧୫ ତାରିଖ ବେଳକୁ ଏହି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଫଳସ୍ୱରୂପ, ୧୫ ତାରିଖ ପରେ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ଅନୁଭୂତ ହେବ।

Uttarakhand Govt.

ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ଆଶଙ୍କା ରହିଛି। ଏହି ପ୍ରଭାବରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହା ବ୍ୟତୀତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି। ବର୍ଷା ପାଗ ସତ୍ତ୍ୱେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଜାରି ରହିପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ସୂଚନାଯୋଗ୍ୟ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ସ୍ୱଳ୍ପ ପରିମାଣର ବର୍ଷା ରେକର୍ଡ କରାଯାଇଛି।