fbpx

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ସବୁ ଜୀବନ ମୂଲ୍ୟବାନ ନୀତିରେ ବିପର୍ଯ୍ୟୟ ମୁକାବିଲା, ସମ୍ଭାବ୍ୟ ବନ୍ୟା ଓ ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,(ଓଡ଼ିଶା ଭାସ୍କର) : ସବୁ ଜୀବନ ମୂଲ୍ୟବାନ । ରାଜ୍ୟ ସରକାର ସମସ୍ତ ବିଭାଗ ସହ ସମନ୍ୱୟ ରକ୍ଷାକରି ସମନ୍ୱିତ ଆଭିମୁଖ୍ୟରେ ବିପର୍ଯ୍ୟୟ ପରିଚାଳନା ନୀତି ଆପଣାଇଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁଧବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ବନ୍ୟା, ବାତ୍ୟା ଆଦି ବିପର୍ଯ୍ୟୟ ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେବା ସହ ସରକାରଙ୍କ ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ପ୍ରଭାବ ସତ୍ତେ୍ୱ ରାଜ୍ୟ ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ୱସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ “ସବୁ ଜୀବନ ମୂଲ୍ୟବାନ’ ନୀତି ଆପଣାଯାଉଛି । ଏଥିସହିତ ସରକାରଙ୍କ ସବୁ ବିଭାଗ ସମନ୍ୱିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଓଡ଼ିଶା ହେଉଛି ଦେଶର ସବୁଠାରୁ ବିପର୍ଯ୍ୟୟପ୍ରବଣ ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ । ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ ବହୁପରିମାଣରେ ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ଏ ସଂପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ । ବର୍ତ୍ତମାନ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । ସମ୍ଭାବ୍ୟ ବିପର୍ଯ୍ୟୟକୁ ଆଖିଆଗରେ ରଖି ଯେକୌଣସି ପ୍ରକାର ପରିସ୍ଥିତିର ସାମ୍ନା କରିବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ । ଓଡ୍ରାଫ ଓ ଅଗ୍ନିସେବା ୟୁନିଟ ଗୁଡିକ ତୁରନ୍ତ ପଦକ୍ଷେପ ନେବାପାଇଁ ସତର୍କ ହୋଇ ରହିବା ଜରୁରୀ । ବିଦସଂକୁଳ ଓ ଅଗମ୍ୟ ଅଞ୍ଚଳରେ ଯଥେଷ୍ଟ ପରିମାଣରେ ଖାଦ୍ୟ ପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ କରି ରଖିବା ଜରୁରି । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସବୁ ଜିଲ୍ଲା ଓ ସଂପୃକ୍ତ ବିଭାଗ ଗୁଡିକରେ କଣ୍ଟ୍ରୋଲ ରୁମ୍‌ ଗୁଡିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 

ଏହାସହିତ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମୟରେ ଗର୍ଭବତୀ ମହିଳା, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ମହିଳା ଓ ବୟୋଜ୍ୟେଷ୍ଠ ଲୋକଙ୍କୁ ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସଂପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସବୁ ବିଷୟ ଗୁଡିକୁ ଧ୍ୟାନ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କୁ ଠିକ୍‌ ସମୟରେ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହି ଆଲୋଚନାରେ ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ନରସିଂହ ମିଶ୍ର,ବିଧାୟକ ଜୟନ୍ତ ଷଡଙ୍ଗୀ, ବିଧାୟକ ପ୍ରତାପ କେଶରୀ ଦେଓ, ବିଧାୟକ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ । ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ତାଙ୍କର ପ୍ରାରମ୍ଭିକ ଭାଷଣରେ ବିର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ସ୍ୱତନ୍ତ୍ର ରିଲିଫ କମିଶନର ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବୈଠକରେ ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ ,ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.