ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ୧୧ତମ ପାଳିରେ ଭୁବନେଶ୍ୱର ୟୁନିଟ-୨ରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍କାଳ ପଦକ୍ଷେପ ନେଇଛନ୍ତି।
ଆଜି ୧ ହଜାର ଅଭିଯୋଗକାରୀ ଅନ୍ଲାଇନ ମାଧ୍ୟମରେ ନାମ ପଞ୍ଜିକୃତ କରିଥିଲେ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ୬ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
Uttarakhand Govt.
ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ଏକକ ବାତାୟନ ଜରିଆରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୪ ଜଣଙ୍କୁ ସମୁଦାୟ ୧୩ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢିଛି। ସେମାନେ ବିଭିନ୍ନ ସମସ୍ୟା ନେଇ ଆମ ପାଖକୁ ଆସୁଛନ୍ତି। ଲୋକଙ୍କୁ ନିରନ୍ତର ନ୍ୟାୟ ପ୍ରଦାନ କରିବା ପାଇଁ ଆମେ ଏହି କାର୍ଯ୍ୟକ୍ରମ ଜାରି ରଖିଛୁ। ଆମ ସରକାର ନିରନ୍ତର ଭାବେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି, ଏବଂ ତାହାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହା ମାଧ୍ୟମରେ ଗରିବ ଓ ଅସହାୟଙ୍କୁ ସହାୟତା ପ୍ରଦାନ କରାଯାଉଛି। ଆଗାମୀ ଦିନରେ ଆଞ୍ଚଳିକ ସ୍ତରରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

