ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ : ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ଦୁଇଦିନ ଯାଏ ରାଜ୍ୟରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିସହ ଓ ବିଜୁଳି ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି ।

ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ସୋନପୁର, ଅନୁଗୋଳ, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୫ ତାରିଖରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ୫ ତାରିଖରେ ନୂଆପଡ଼ା, କଳାହାଣ୍ଡି, ବରଗଡ଼, ବଲାଙ୍ଗୀର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି ।