fbpx

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ହେବା ନେଇ ଢେଙ୍କାନାଳ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାପାଇଁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାନେଇ ୨୦ଟି ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ । ସେହିପରି ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ମଧ୍ୟ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷର ସମ୍ଭାବନା ରହିଛି । ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷାର ସମ୍ଭାବନା ନେଇ ପାଣିପାଗ ବିଭାଗ କହିଛି । ବର୍ଷା ସମୟରେ ସହରାଞ୍ଚଳରେ ଆକସ୍ମିକ ବନ୍ୟା ହେବା ନେଇ ସତର୍କତା ଜାରି କରାଯାଇଛି । ଏହା ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ନେଇ ସତର୍କତା ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୫ ରୁ ୫୫ କିଲୋମିଟର ବେଗରେ ପବନ ବହିବ । ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।

ଅନ୍ୟପକ୍ଷରେ ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ସୁରେନ୍ଦ୍ରନାଥ ପଶୁପାଳକଙ୍କ ଅନୁଯାୟୀ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ୧ ଓ ୨ ତାରିଖରେ ବର୍ଷାର ପରିମାଣ ଅଧିକ ରହିପାରେ। ଲଘୁଚାପ ପ୍ରଭାବରେ ସମ୍ବଲପୁର, ଦେବଗଡ଼, ବୌଦ୍ଧ, କନ୍ଧମାଳ, ବରଗଡ଼, ଢେଙ୍କାନାଳ, ଅନୁଗୋଳ ଜିଲ୍ଲାରେ ୧୫୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇପାରେ ।

Get real time updates directly on you device, subscribe now.