ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା, ୩୧ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା

ଆସନ୍ତା 31 ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହିତ ବର୍ଷା । ବୋହିବ ଦଲକା ପବନ ।

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାରି ପ୍ରଭାବରେ ଆସନ୍ତା 31 ତାରିଖ ପର୍ଯ୍ୟନ୍ତ ପ୍ରବଳକୁ ଅତିପ୍ରବଳ ବର୍ଷା ହେବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

ମାସ ଶେଷ ଯାଏଁ ବର୍ଷା- ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ଦଲକା ଦଲକା ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଲଘୁଚାପ କ୍ଷେତ୍ର ସୃଷ୍ଟି- ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ନେଇ ପାଗ ଅନୁକୂଳ ରହିଛି  । ଓଡ଼ିଶା ଉପକୂଳ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି  ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ 31 ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ।

ଆଜି ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ତିନି ଦିନ ପ୍ରଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ସେମାନଙ୍କୁ ବାରଣ କରାଯାଇଛି ।