fbpx

ଆଗାମୀ ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା, ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ମ୍ୟାଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଗାମୀ ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମଙ୍ଗଳବାର କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବିଭାଗ କହିଛି ।

ଏହିସବୁ ଜିଲ୍ଳାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି । ସେହିପରି ମଙ୍ଗଳବାର ଅନୁଗୋଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼,
କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରୁ ୭ରୁ ୧୧
ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି ।

୧୩ ତାରିଖରେ ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ କଟକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ । ଏଥିନେଇ ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ ତାରିଖରେ କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାପାଇଁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖରେ ସୋନପୁର, ବୌଦ୍ଧ,
ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ୧୧ରୁ ୨୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.