ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଘଣ୍ଟାକୁ ୩୦-୪୦ କିମି ବେଗରେ ବହିବ ପବନ
ଓଡ଼ିଶାରେ ଆସନ୍ତା ୩ ଦିନ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।
ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୩ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ଭୁବନେଶ୍ୱରସ୍ଥିତ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ହେବାର ଆଶଙ୍କା ରହିଛି।
ପ୍ରଥମ ଦିନ ପାଇଁ ରାଜ୍ୟର ୩୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଏହାସହ ରାଜ୍ୟର ସମସ୍ତ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ଦ୍ୱିତୀୟ ଦିନ ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବିଜୁଳି ମାରିପାରେ ଏବଂ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି।
ଏହି ୫ଟି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।
ତୃତୀୟ ଦିନରେ ମଧ୍ୟ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି।
ଏହି ୫ଟି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।


