fbpx

ପାଣିପାଗ ବିଭାଗର ସୂଚନା: ମୌସୁମୀ ପୂର୍ବରୁ ଭିଜିବ ଓଡ଼ିଶା

ଭୁବନେଶ୍ୱର: ସମ୍ପ୍ରତି ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଲାଗି ରହିଥିବାବେଳେ ପାଣିପାଗ ବିଭାଗ ଏକ ଆଶ୍ୱସ୍ତିକର ଖବର ଦେଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଉପକୂଳ ଛୁଇଁବା ପୂର୍ବରୁ ବର୍ଷାରେ ଭିଜିବ ସାରା ରାଜ୍ୟ । ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ୱସ୍ତି । ବୁଧବାର ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବହୁ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ୨୩ ଓ ୨୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

୨୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍‌ଜାମ, ଗଜପତି, ବୌଦ୍ଧ, ସୋନପୁର ଇତ୍ୟାଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ତେବେ ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ୨୩ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, କନ୍ଧମାଳ, ଗଜପତି ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କିନ୍ତୁ ପୁରୀ, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.