ଆଜି ଶ୍ରୀଜିଉଙ୍କ ବନକଲାଗି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ସ୍ୱତନ୍ତ୍ର ନୀତି ହେବ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ । ଗୁପ୍ତ ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ । ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ ଯାଏଁ ବନ୍ଦ ରହିବ ଦର୍ଶନ । ମଧ୍ୟହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକ ବନକଲାଗି କରିବେ । ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।