fbpx

ଓଡ଼ିଶା ଉପକୂଳରେ ଲଘୁଚାପ ଘନୀଭୂତ, ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଗୁରୁବାର ଦିନ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଓଡ଼ିଶା-ପଶ୍ଚିମ ଉପକୂଳରେ ଲଘୁଚାପ ଘନୀଭୂତ ହୋଇ ‘ୱେଲ ମାର୍କ ଲୋ ପ୍ରେସର’ରେ ପରିଣତ ହୋଇଛି । ଫଳରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଅଧିକ ବର୍ଷା ହେବାର ଆଶଙ୍କା ରହିଛି ।

ତେବେ ଲଘୁଚାପ ପ୍ରଭାବରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ନେଇ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୁର୍ବାନୁମାନ କରାଯାଇଛି ।

ସେହିପରି ଜୁଲାଇ ୨୮ ତାରିଖ ବେଳକୁ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ ଏହା ଉତ୍ତର ପଶ୍ଚିମ ଦିଗ ଆଡକୁ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଆଡକୁ ମୁହାଁଇବ ବୋଲି ଜଣାପଡ଼ିଛି । ଏହାର ପ୍ରଭାବ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି କୁହାଯାଇଛି । ଏହାର ପ୍ରଭାବରେ ଜୁଲାଇ ୨୮ ତାରିଖ ଅପରାହ୍ଣରୁ ଜୁଲାଇ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଅନୁଗୁଳ ଓ ଯାଜପୁର ପ୍ରଭୃତି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି ।

Get real time updates directly on you device, subscribe now.