fbpx

ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କଲେ ନବୀନ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଉ ଥିବା ବେଳେ କରୋନା ସମୟରେ ସେମାନେ ଅଧିକ କ୍ଷତି ସହିଛନ୍ତି । କିନ୍ତୁ ମହାମାରୀ ଯୋଗୁ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି । ବର୍ତ୍ତମାନ ରାଜ୍ୟ ସରକାରଙ୍କ ଘୋଷଣା ଅନୁସାରେ ଏହି ପ୍ୟାକେଜରେ କଂକ୍ରିଟ ହୋଇନଥିବା ୧୫,୦୦୦ ଲୂମ ପିଟ୍ କୁ ପର୍ୟ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି ଲୂମ ପିଟ୍ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ। ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ House-cum-Work shed ଯୋଗାଇ ଦିଆଯିବ ।

ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ୟ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – CFC, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ। ଏହି ପ୍ୟାକେଜ ରେ ବୁଣାକାର ମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି । ସେହିପରି ଡିଜାଇନ ପ୍ରସ୍ତୁତି ଏକ ଜଟିଳ ପ୍ରକ୍ରିୟା ହୋଇଥିବାରୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ। ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାର କୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧,୩୪୨ଟି ଲୂମ ପିଟ୍ ମଧ୍ୟରୁ ଏପର୍ୟ୍ୟନ୍ତ ୧୫,୦୭୧ଟି ଲୂମ ପିଟ୍ କୁ କଂକ୍ରିଟ କରାଯାଇଛି । ଏ ପର୍ୟ୍ୟନ୍ତ ୧୧୬୯୫ଟି House-cum-Work shed ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି।

 

 

Get real time updates directly on you device, subscribe now.