fbpx

ଆସୁଛି ଆଉ ଏକ ବଡ଼ ବର୍ଷା: ଆଜିଠୁ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ଆସୁଛି ଆଉ ଏକ ବଡ଼ ବର୍ଷା । ଏ ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ମୃତୁଞ୍ଜୟ ମହାପାତ୍ର । ସୂଚନା ଅନୁଯାୟୀ ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଗୁରୁବାର ସନ୍ଧ୍ୟାରୁ ବର୍ଷା ଆରମ୍ଭ ହେବା ସହ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ ୧୯ ଓ ୨୦ ତାରିଖରେ ବର୍ଷା ପରିମାଣ ବଢିବାକୁ ଥିବା ଆଇଏମ୍‌ଡି ଡିଜି କହିଛନ୍ତି ।

ଲଘୁଚାପ ପ୍ରଭାବରେ ଗୁରୁବାର ରାତିରୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବର୍ଷା ଆରମ୍ଭ ହୋଇଛି । ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶୁକ୍ରବାର ବର୍ଷାର ପରିମାଣ ବଢିବ । ସବୁ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୦ ତାରିଖରେ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହି ସମୟରେ ଛତିଶଗଡ଼ରେ ମଧ୍ୟ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।

୧୯ ତାରିଖରେ ଛତିଶଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ଅନୁମାନ କରାଯାଇଛି । ୨୦ ତାରିଖ ଦୁଇଦିନ ଧରି ହେବାକୁ ଥିବା ବର୍ଷାର ପ୍ରଭାବ ନଦୀଗୁଡ଼ିକ ଉପରେ ପଡ଼ିବାକୁ ଥିବାରୁ ଆଉଥରେ ବନ୍ୟାସ୍ଥିତି ସୃଷ୍ଟି ହୋଇପାରେବୋଲି ଅନୁମାନ କରାଯାଉଛି । ଉପରମୁଣ୍ଡରେ ବର୍ଷା ଜାରି ରହିଲେ ମହାନଦୀର ଜଳସ୍ତର ପୁଣି ବୃଦ୍ଧି ପାଇବା ଆଶଙ୍କା କରାଯାଉଛି । ସେହିପରି ଉତ୍ତର-ପଶ୍ଚିମ ଓଡ଼ିଶାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଗୁରୁବାର ରାତିରୁ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ପ୍ରବେଶ ଉପରେ ବାରଣ କରାଯାଇଥିବା ଆଇଏମ୍‌ଡି ଡିଜି ଶ୍ରୀ ମହାପାତ୍ର କହିଛନ୍ତି । ସୃଷ୍ଟ ଲଘୁଚାପକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୯ ଓ ୨୦ ତାରିଖ ପାଇଁ କେଉଁଝର ଓ ମୟୂରଭଞ୍ଜ ଜିଲ୍ଲାପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.