fbpx

୧୩ରେ ଆସୁଛି ଲଘୁଚାପ, ୧୫ରେ ଅବପାତ ରୂପ ନେବା ସମ୍ଭାବନା: ୯ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

Advertisement

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ । ଏହା ପ୍ରଭାବରେ ଶନିବାର ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି ବୋଲି ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି । ସେହିପରି ନଭେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଗାଣ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସଆରସି) ପ୍ରଦୀପ ଜେନାଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି । ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ଚିଠି କରିଛନ୍ତି ଏସ୍‌ଆରସି । ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥିପାଇଁ ବ୍ୟବସ୍ଥା କରିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । କିଛି ଅଘଟଣ ଘଟିଲେ ତୁରନ୍ତ ଏସ୍‌ଆରସି ଅଫିସକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଏବେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଓଡ଼ିଶାରେ ପାଗ କୋହଲା ରହିଛି ଏବଂ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସ୍‌ଆରସିଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶନିବାର ମଧ୍ୟଦକ୍ଷିଣ ଆଣ୍ଡାମାନ ସାଗରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ୧୫ ତାରିଖ ବେଳକୁ ଏହା ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହୋଇ ଅବପାତର ରୂପ ନେବ । ୧୬ ଓ ୧୭ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି ।

Get real time updates directly on you device, subscribe now.