fbpx

‘ୱାନ ନେସନ, ୱାନ ରାସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡ଼ିଶାର ସବୁ ଜିଲ୍ଲାରେ ୱାନ ନେସନ, ୱାନ ରାସନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହାଦ୍ୱାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଓ ଓଡ଼ିଶା ଲୋକ ରାଜ୍ୟ ବାହାର ରାଜ୍ୟରୁ ମଧ୍ୟ ରାସନ ନେଇପାରିବେ । ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନ୍ ଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମର ଘୋଷଣା କରାଯାଇଛି ।

ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ‘ସ୍ୱାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ ।’

ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍ ଏସିଡ ଥିବାରୁ ଏହା ଗରିବ ଲୋକମାନଙ୍କ ସହତି ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ଼ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢ଼େ ୩ କୋଟି ଲୋକ ଲାଭ ପାଉଛନ୍ତି । ୨୦୦୮ରେ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସଛନ୍ତି । ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ତାଙ୍କର ଗୁରୁତ୍ୱ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ‘ମୁଁ ସବୁବେଳେ କହିଆସିଛି ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ।’

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କେଜି ୧ ଟଙ୍କାରେ ଚାଉଳ ମିଳିବ ଦ୍ୱାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ୱାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି । ତା’ ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା’ ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି ସେ କହିଥିଲେ।

କୋଭିଡ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଗୁରୁତ୍ୱ ଦେଇ ସେ କହିଲେ ଯେ କୋଭିଡ ମହାମାରୀ, ବହୁ ଲୋକ ବିଶେଷକରି, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପଡ଼ିଛି। ତେଣୁ ଗରିବ ଲୋକଙ୍କ ରୋଜଗାର ପାଇଁ – ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ – ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଆମର ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି ବୋଲି ପ୍ରକାଶ କରି ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱକୁ ସେ ପ୍ରଶଂସା କରିଥିଲେ ।

ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡା ଓ ଯୁବସେବା ତଥା ଇଲକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ ଭିଟାମିନ୍ ଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସୁରକ୍ଷାରେ ସହାୟକ ହୋଇପାରିବ। ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ ।

ସେହିପରି ଜଂଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିବା ସହିତ ଗଞ୍ଜାମ ଜିଲ୍ଲାର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଭୁବନେଶ୍ୱରଠାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ୱ ଯୋଗୁଁ ଓଡିଶା ଆଜି ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଆଦର୍ଶ ହୋଇପାରିଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଆଜି ଯାହା କରୁଛନ୍ତି, ସାରା ଦେଶ ତାକୁ ଗ୍ରହଣ କରୁଛି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଏବଂ ମଧ୍ୟ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ।

ସୂଚନାଯୋଗ୍ୟ ଯେ ପୂର୍ବରୁ ଭୁବନେଶ୍ୱରରେ ପାଇଲଟ ପ୍ରୋଜେକ୍ଟ ଭାବରେ ୱାନ ନେସନ, ୱାନ ରେସନ ଯୋଜନା କାର୍ଯ୍ୟକାରୀ ହୋଇଛି । ୫-ଟି ସଚିବ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଭି.ଭି ଯାଦବ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.