fbpx

ଡିସେମ୍ବର ୧୫ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ; ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ

Advertisement

ଓଡିଶା ଭାସ୍କର; ଆଜି ବଡିଭୋରରୁ ପୁରୀ ଯାଇ ସାଢେ ୪ଟାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଓ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଏହା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଆସନ୍ତା ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି ।

ପୁନରୁଦ୍ଧାର ସମୟରେ ମଠଗୁଡ଼ିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାରମାନଙ୍କ ସହଯୋଗରେ କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଛନ୍ତି । ଏହା ସହ ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ସେତୁକାମର ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ ପାଣ୍ଡିଆନ । ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଲ ସିଂହ, ଓବିସିସି ଏମଡି ଏବଂ ବିଭିନ୍ନ କାର୍ୟ୍ୟନିର୍ବାହୀ ଏଜେନ୍ସୀର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ସୂଚନା ଅନୁଯାୟୀ, ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କାପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି । ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ସେହିପରି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ସ୍ୱଚ୍ଛନ୍ଦରେ ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ସ୍ଥାନୀୟ ଲୋକ ତଥା ସେବାୟତମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ୟ୍ୟାପ୍ତ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ଏହା ସହ ମେଘନାଦ ପାଚେରୀପାଖରୁ ବିଭିନ୍ନ ୟୁଟିଲିଟିର ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ ।

Get real time updates directly on you device, subscribe now.