fbpx

ହକି ବିଶ୍ୱକପ୍ ପାଇଁ ରାଉରକେଲା ଏୟାରପୋର୍ଟ ହେବ ସମ୍ପ୍ରସାରଣ, ସମୀକ୍ଷା କଲେ ଉଚ୍ଚସ୍ତରୀୟ ଟିମ୍

ରାଉରକେଲା(ଓଡ଼ିଶା ଭାସ୍କର): ହକି ବିଶ୍ୱକପ୍ ପୁଣି ହେବ ଓଡ଼ିଶାରେ । ଆଉ ପ୍ରମୁଖ ଭୂମିକା ନେବ ରାଉରକେଲା । ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ଚାଲିଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ୍, ଜାତୀୟ ସ୍ୱାସ୍ଥ୍ୟ ମିଶନ ଓଡ଼ିଶା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଆର୍ ଭିନିଲ୍ କ୍ରିଷ୍ଣା ପ୍ରମୁଖ ରାଉରକେଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ଏହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବୀର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ନିର୍ମାଣାଧୀନ ବୀର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟୋରିୟମ୍ କାର୍ଯ୍ୟ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି । ଏଥିସହ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି ଏହି ଟିମ୍ । ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ୍ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମତଥା ମହାନଗର ନିଗମ କମିସନର ଏବଂ ଅନ୍ୟ ଅଧିକାରୀଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା ବୈଠକ କରିଥିଲେ । ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛି । ସେହିପରି ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କାମ ମଧ୍ୟ ଶେଷ ପର୍ଯାୟରେ ପହଞ୍ଚିଛି । ଅନ୍ୟପକ୍ଷରେ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ସେ କହିଛନ୍ତି ।

ଅନୁରୂପ ଭାବେ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ ଏବଂ ଏହାକୁ ଆଗାମୀ ୨୦୨୨ ମେ’ ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ୍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ କୋଭିଡ୍ ପରିସ୍ଥିତି ମୁକାବିଲା ପାଇଁ ରାଉରକେଲାରେ ଜେପି ହସ୍ପିଟାଲକୁ ସରକାରୀ କୋଭିଡହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି ଏବଂ ସୁନ୍ଦରଗଡ଼ରେ ଏନଟିପିସି କୋଭିଡ୍ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି ବୋଲି ସୂଚନା ଦିଆଯାଇଛି ।
ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.