ଭୁବନେଶ୍ୱରସ୍ଥିତ ସ୍ୱାସ୍ଥ୍ୟ ବିଜ୍ଞାନ ପ୍ରତିଷ୍ଠାନକୁ ସ୍ୱୟଂଶାସିତ ମହାବିଦ୍ୟାଳୟର ମାନ୍ୟତା

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ସ୍ଥିତ ସ୍ୱାସ୍ଥ୍ୟ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଚଏସ)କୁ ସ୍ୱୟଂଶାସିତ ମହାବିଦ୍ୟାଳୟ ଭାବରେ ଘୋଷଣା କରିଛନ୍ତି । ଆଜି ଏହି ପ୍ରତିଷ୍ଠାନକୁ ପରିଦର୍ଶନ କରିବା ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି, ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ସ୍ୱତନ୍ତ୍ର ବର୍ଗରେ ଏହି ଅନୁଷ୍ଠାନକୁ ଅଟୋନୋମସ୍‍ କଲେଜ ଭାବରେ ମାନ୍ୟତା ପ୍ରଦାନ କରାଯାଇଛି ।

ଧର୍ମେନ୍ଦ୍ର କହିଛନ୍ତି, ଏହି ଅନୁଷ୍ଠାନ ସହ ମେଧାବୀ ଓଡ଼ିଆ ପିଲାମାନେ ଯୋଡ଼ି ହୋଇଛନ୍ତି ଏବଂ ଦିବ୍ୟାଙ୍ଗଙ୍କ ପାଠପଢାକୁ ସୁଗମ କରିବା ସହ ସମାଜରେ ମୌଳିକ ଆବଶ୍ୟକତା ପୂରଣ କରିବା ପାଇଁ ଦାୟିତ୍ୱ ନେବାକୁ ପଡ଼ିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ପ୍ରଥମ ଥର ପାଇଁ ଦିବ୍ୟାଙ୍ଗଙ୍କ ପରିଭାଷା ବଦଳାଇଛନ୍ତି । ବିଶେଷ ଭାବରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ହେବା ପରେ ଏହା ଉପରେ ଧ୍ୟାନ ଦେବା ଭାରତ ସରକାରଙ୍କ ପ୍ରାଥମିକତା । ଏହି ଅନୁଷ୍ଠାନରେ ଅଧ୍ୟୟନରତ ଦିବ୍ୟାଙ୍ଗ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ବ୍ୟତିତ ସମ୍ମାନର ସହ କୁଶଳୀ କରି ସେମାନଙ୍କୁ ରୋଜଗାର ବ୍ୟବସ୍ଥା ସହ ଯୋଡିବା ପାଇଁ ବ୍ୟବସ୍ଥା କରାଯିବ । ଶିକ୍ଷକଙ୍କୁ ପ୍ରଶିକ୍ଷଣ ସହ ଭିତିଭୂମିର ବିକାଶ ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ଧର୍ମେନ୍ଦ୍ର ଘୋଷଣା କରିଛନ୍ତି ।

ଏହି ଅନୁଷ୍ଠାନକୁ ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ପ୍ରଚେଷ୍ଟା କରାଯିବ ବୋଲି ଧର୍ମେନ୍ଦ୍ର ଏହି ଅବସରରେ କହିଛନ୍ତି । ଧର୍ମେନ୍ଦ୍ର କ୍ୟାମ୍ପସ ପରିସରରେ ଦିବ୍ୟାଙ୍ଗ ଶିଶୁ ମାନଙ୍କ ପାଇଁ ଥିବା ମଡେଲ୍ ସେଣ୍ଟର, ଇଣ୍ଟିଗ୍ରେଟେଡ ରିହାବିଲିଟେସନ ସେଣ୍ଟର, କ୍ଲିନିକ୍ ବ୍ଲକ, ଏକାଡେମିକ ବ୍ଲକ, ବାଲମୁକୁନ୍ଦ ରେହାବ ହସ୍ପିଟାଲ ବୁଲି ଦେଖିବା ସହ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଏବଂ ପ୍ରଶିକ୍ଷକ ମାନଙ୍କ ସହ ଭାବ ବିନିମୟ କରିଥିଲେ ।