ଆଜି ୪ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି : ୧୦ରୁ ବର୍ଷା ଆଶଙ୍କା

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌): ଶୁକ୍ରବାର ଦକ୍ଷିଣ ପଶ୍ଚିମ-ରାଜସ୍ଥାନ ତଥା ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏଥି ଯୋଗୁଁ ଚଳିତ ମାସ ୧୦ ତାରିଖରୁ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌. ବିଶ୍ୱାଶ କହିଛନ୍ତି ଯେ ଜାନୁଆରୀ ୧୦ ତାରିଖରେ ରାଜ୍ୟର ୧୧ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧୦ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ଜାନୁଆରୀ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ।

ସେହିପରି ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ଘନ କୁହୁଡି ପଡିବାର ସମ୍ଭାବନା ରହିଛି ।  କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।