fbpx

ତୃତୀୟ ଲହର ଓ କୋଭିଡ ସହାୟତାକୁ ନେଇ ସମୀକ୍ଷା ପରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମମଣ ତଳ-ଉପର ହେଉଥିବା ବେଳେ ଆଜି ସଏହାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୋଭିଡ ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଓ କୋଭିଡ ସହାୟତା ସମ୍ପର୍କରେ ସେ ସମୀକ୍ଷା କରିଛନ୍ତି । ଗରିବ ଲୋକଙ୍କୁ ୨୦୦୪ କୋଟିର କୋଭିଡ ସହାୟତା ଦିଆଯାଇଛି ବୋଲି ଏହି ଅବସରରେ ନବୀନ କହିଛନ୍ତି । ଏହା ସହ ସେ କହିଛନ୍ତି ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା । ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ଵା ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର ।’ ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି CHC level ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା IICଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

କୋଭିଡର ଦ୍ବିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, MGNREGS ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା ମାନଙ୍କ ଠାରୁ ଆରମ୍ଭ କରି street vendor ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି । ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି ।

Get real time updates directly on you device, subscribe now.