ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ଜାରି ରହିଛି । ଏହାରି ମଧ୍ୟରେ କୋଭିଡ ମୁକାବିଲା ନେଇ ଭିଡିଓ କନଫରେନ୍ସିଂ ଯୋଗେ ପରିସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ବିଶେଷ ଭାବେ ଗୁରୁତ୍ୱ ଦେଇଛନ୍ତି । ସେ କହିଛନ୍ତି ଯେ, ‘କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ରାଜ୍ୟରେ ପ୍ରସ୍ତୁତି ଜୋରଦାର କରାଯାଇଛି । ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।ଏଥିପାଇଁ ୧ ହଜାର ୧୧୪ ଜଣ ଡାକ୍ତର ସ୍ୱତନ୍ତ୍ର ତାଲିମ ନେବେ । ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସଂକ୍ରମଣ ହାର କମ୍ ଥିବା ଜିଲ୍ଲାରେ ଅନଲକ୍ ଆରମ୍ଭ ନେଇ ବିଚାର ବିମର୍ଶ ଚାଲିଛି ।’
ଏହା ସହ ସେ କହିଛନ୍ତି ଯେ, ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଛି । ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ । ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍ ରେଟ୍ ଅଧିକ ଥିବାରୁ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରାଯିବ । ଏହାସହିତ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ଗୁରୁତ୍ବ ଦିଆଯିବ ।
ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ବିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ । ତାସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ କୋଭିଡ ନିୟମାବଳୀକୁ ଆହୁରି କଡାକଡି ଭାବରେ ପାଳନ କରିବା ପାଇଁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ୟପଟେ ବ୍ଲାକ ଫଙ୍ଗସ ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିବା ସହିତ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଅକ୍ସିଜେନ ଯୋଗାଣ ସନ୍ତୋଷଜନକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍ଧତାରେ ଉନ୍ନତି ଘଟିଛି ବୋଲି କହିଛନ୍ତି ।