fbpx

ଓଡ଼ିଶାବାସୀଙ୍କ ପାଇଁ ଖୁସିଖବର: ପହିଲା ସୁଦ୍ଧା ମିଳିବ ଶୀତ ସହାୟତା, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦିନକୁ ଦିନ ଶୀତ ବଢ଼ୁଥିବା ବେଳେ ଓଡ଼ିଶାବାସୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶୀତ ସହାୟତା ବାବଦ ୩ ଶହ ଟଙ୍କା ପ୍ରଦାନ କରିବାକୁ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ଭତ୍ତା ପାଉଥିବା ୪୮ ଲକ୍ଷରୁ ଅଧିକ ହିତାଧିକାରୀ ଏହି ସହାୟତା ପାଇବେ । ଶୀତ ସହାୟତା ପାଇଁ ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ପ୍ରତି ଦୁଇବର୍ଷରେ ଥରେ ହିତାଧିକାରୀଙ୍କୁ ମିଳିଥାଏ ଏହି ଶୀତ ସହାୟତା । ଏହି ଶୀତ ସହାୟତା ଯୋଗୁଁ ଲକ୍ଷାଧିକ ହିତାଧିକାରୀ ଉପକୃତ ହେବେ ।

ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍‌ସନ୍‌ ହିତାଧିକାରୀମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘର ଗୁଡିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବାପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିସନର ପି.କେ. ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.