fbpx

ରାଜ୍ୟରେ ବଢିବ ବର୍ଷାର ପରିମାଣ: ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।

ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ। ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କେରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ । ଏହି ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ଆଇଏମଡି ଆକଳ ଅନୁଯାୟୀ, ୬ ତାରିଖରେ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ। ୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୭ ଓ ୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

୭ ତାରିଖ ବେଳକୁ ବର୍ଷାର ପରିମାଣ ଆହୁରି ବଢିବ। ବୁଧବାର ରାଜ୍ୟର କେତେକ ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଏଥିପାଇଁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି ।

Get real time updates directly on you device, subscribe now.