ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଝଡ଼ବର୍ଷା ! ୨୪ ଘଣ୍ଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଶନିବାର ସୃଷ୍ଟି ହେବାକୁ ଯାଉଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ତାହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୫ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ।

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦବେଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର।

ସେପଟେ ୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।